ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ବୁଧବାର ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିଲା । କିଛି ସ୍ଥାନରେ ଅପରାହ୍ନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି । ଆସନ୍ତା ୪ ଦିନ ପର୍ୟ୍ୟନ୍ତ କେତେକ ଅଂଚଳରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସମୟ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ରାଜ୍ୟର ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ । ପାଣିପାଗ ବିଭାଗର ଆକଳନ ଅନୁସାରେ, ୭ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିଭଳି ୮ ତାରିଖ ଦିନ ମାଳକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଏବଂ ୯ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜଧାନୀ ସମେତ ଏହାର ଆଖପଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ଅପରାହ୍ନ ଆଡ଼କୁ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ । ଏହି ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରୀ ପାଖପାଖି ରହିବ ।
Powered by Froala Editor