ବିକାଶର ନୂଆ ଅଧ୍ୟାୟ ଆରମ୍ଭ, ପଦ୍ମପୁରରେ ୪୮୮ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି।
ପଦ୍ମପୁର ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ବିକାଶର ଏହି ଧାରା ଆହୁରି ଆଗକୁ ବଢିବ ବୋଲି ମଧ୍ୟ ସେ କହିଛନ୍ତି ।ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି। ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ । ତା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।
ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି ।ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ ।
ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ୟ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍ଘାଟିତ ହୋଇଥିଲା। ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି ।
Powered by Froala Editor