ହାଇସ୍କୁଲରେ ନିଯୁକ୍ତି ପାଇବେ ୭ ହଜାର ୫୪୦ ଶିକ୍ଷକ

ସରକାରୀ ମାଧ୍ୟମିକ ସ୍କୁଲରେ ୭ହଜାର ୫୪୦ ଶିକ୍ଷକଙ୍କୁ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋସିଆଲ୍ ମିଡିଆରେ ଏନେଇ 5Tସଚିବ ଭିକେ ପାଣ୍ଡିଆନ୍ ସୂଚନା ଦେଇଛନ୍ତି । ଏହାଦ୍ବାରା ଯୁବକ ଯୁବତୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶିକ୍ଷାର ରୂପାନ୍ତରଣ ସହ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନକୁ ଅଧିକ କ୍ରିୟାଶୀଳ କରିବ।
ଖୁବଶୀଘ୍ର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହାଦ୍ବାରା ରାଜ୍ୟର ଯୁବକ ଯୁବତୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ହେବ । ଏହାଦ୍ବାରା ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ହୋଇପାରିବ।
୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା। ରାଜ୍ୟ ସରକାରଙ୍କ 5-T ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି।
Powered by Froala Editor