୨୨ରୁ ୨୪ ପ୍ରବଳ ବର୍ଷା
ଭୁବନେଶ୍ବର: ରାଜ୍ୟରେ ତାତି କମିପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏମିତି ଆଶା ଦେଖାଇଛି। କୁହାଯାଇଛି ଯେ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ବର୍ଷା ହୋଇଯାଇଛି। ଆସନ୍ତାକାଲି ରାଜ୍ୟର ଆଉ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ମଧ୍ୟ ରହିଛି।
ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୨୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ରୁ ବର୍ଷାର ବିସ୍ତୃତି ଓ ଅନୁପାତ ଆହୁରି ବଢ଼ିବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଧା, ନୟାଗଡ଼, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୪ ତାରିଖରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
Powered by Froala Editor