ପ୍ରବଳ ବର୍ଷା: ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ଚିଠି
ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆଜି ମଧ୍ୟ ବର୍ଷା ଜାରି ରହିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ମାଲକାନଗିରି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିଯୋଗୁଁ ତଳିଆ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା ଦେଖାଦେଇଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର। ଫ୍ଲାସ୍ ଫ୍ଲଡ୍ ପାଇଁ ଫିଲ୍ଡ ସ୍ତରର ଅଧିକାରୀଙ୍କୁ ହେଡ୍ କ୍ବାର୍ଟର ନଛାଡ଼ିବା ପାଇଁ କୁହାଯାଇଛି ।
ପ୍ରବଳ ବର୍ଷା ଜାରି ରହିଲେ ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତର କରାଯିବ। ଜଳ ନିଷ୍କାସନ ପାଇଁ ଆବଶ୍ୟକ ପମ୍ପ ମହଜୁଦ୍ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ନଦୀ ବନ୍ଧରେ ଦୁର୍ବଳ ସ୍ଥାନ ଉପରେ ନଜର ରଖିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର।
Powered by Froala Editor