୧୯ ଯାଏ ରାଜ୍ୟରେ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ କରିଛି । ଗୁରୁବାର ୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଉତ୍ତର ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି । ୧୮ରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଗୁରୁବାର ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏ ସବୁ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୨୦୦ମିଲିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ବରଗଡ଼, ବୌଦ୍ଧ, ସୋନପୁର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
୧୮ରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
Powered by Froala Editor