ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଗୀତା ମେହେଟ୍ଟା ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ରାତିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା। ଆଜି ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।
୧୯୪୩ ମସିହାରେ ଦିଲ୍ଲୀରେ ଜନ୍ମିତ ଗୀତାଙ୍କର ଶିକ୍ଷା ଦିଲ୍ଲୀ ଓ ବ୍ରିଟେନର କେମ୍ରିଜରେ ହୋଇଥିଲା । ଗୀତା ବ୍ରିଟେନ, ୟୁରୋପ ଓ ଆମେରିକା ନେଟୱାର୍କ ପାଇଁ ୧୪ଟି ଡକ୍ୟୁମେଂଟାରୀ ଫିଲ୍ମ ପ୍ରଯୋଜନା କରିଛନ୍ତି । ଗୀତାଙ୍କ ଲିଖିତ ବହିଗୁଡ଼ିକ ପ୍ରାୟ ୨୧ଟି ଭାଷାରେ ଟ୍ରାନ୍ସଲେଟ୍ ହୋଇଛି ଓ ୟୁରୋପ, ଆମେରିକା ଓ ଭାରତରେ ସର୍ବାଧିକ ବିକ୍ରି ହେଉଥିବା ପୁସ୍ତକ ଭାବେ ପରିଗଣିତ ହୋଇଥିଲା ।
୧୯୬୫ ମସିହାରେ ସେ ସନ୍ନି ମେହେଟ୍ଟାଙ୍କୁ ବିବାହ କରିଥିଲେ। ସେମାନଙ୍କର ଆଦିତ୍ୟ ସିଂ ମେହେଟ୍ଟା ନାମକ ଏକ ପୁତ୍ର ସନ୍ତାନ ଅଛନ୍ତି । ସନ୍ନି ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା । ତାଙ୍କ ସ୍ୱାମୀଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।
୨୦୧୯ ମସିହାରେ ଗୀତା ଭାରତ ସରକାରଙ୍କ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶେଷଦର୍ଶନ ପାଇଁ ଦିଲ୍ଲୀ ଯିବେ ବୋଲି ଜଣାପଡ଼ିଛି ।
Powered by Froala Editor