ବନକଲାଗି ନୀତି, ୪ ଘଣ୍ଟା ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ
ପୁରୀ: ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
Powered by Froala Editor