ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି: ନବୀନ

ଭୁବନେଶ୍ବର: ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣର ମାର୍ଗ ପ୍ରଶସ୍ତ କରିଛି । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍ପିଟାଲ, ପର୍ୟ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ୟ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ଏସବୁ ରୂପାନ୍ତର କାର୍ୟ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ୟ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।
୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ୟ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ବୁଧବାର ଏହା କହିଛନ୍ତି ।
ରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।
ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନୋଟି ପର୍ୟ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ୟ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ୟ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ୟ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ୫ଞ ଉପକ୍ରମରେ ଏହି ରୂପାନ୍ତର କାର୍ୟ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ ।
ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।
Powered by Froala Editor