ଆଜି ଶେଷ ରଜ
ଭୁବନେଶ୍ୱର: ଆଜି ଶେଷ ରଜ। କଟକଣା ଭିତରେ ରାଜ୍ୟବାସୀ ପାଳୁଛନ୍ତି ପର୍ବ। ପିଠାପଣା ସହ ଜମୁଛି ଦୋଳି ଖେଳ। ଘରେ ଘରେ ଚାଲିଛି ରଜ ମଉଜ।
ରଜ ଓଡ଼ିଶାର ଏକ ପାରମ୍ପରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି ।
ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ । ଚଳିତ ଥର କୋଭିଡ କଟକଣା ମାନି ସମସ୍ତେ ଘରେ ଘରେ ରଜ ପାଳନ କରୁଛନ୍ତି।
Powered by Froala Editor