୧୬୯୦ କୋଟି ୪୬ ଲକ୍ଷର କୋଭିଡ ସହାୟତା ଘୋଷଣା, ଉପକୃତ ହେବେ ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକ
ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା କୃଷକ, ଶ୍ରମିକ, ଛାତ୍ରଛାତ୍ରୀ, ଆଦିମ ଜନଜାତି, ଗରିବ ଲୋକେ ଲାଭବାନ ହେବେ । ପ୍ୟାକେଜ ଅନୁଯାୟୀ, କାଳିଆ ଯୋଜନାର ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ସହାୟତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଓଡିଶାରେ ୧୩ଟି ଆଦିମ ଜନଜାତିର ୬୬ ହଜାର ୨୧୪ ଜଣ ବ୍ୟକ୍ତି ବସବାସ କରୁଛନ୍ତି । ସେମାନଙ୍କୁ ଜୀବନ ଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ସେମାନଙ୍କ ପ୍ରି-ମ୍ୟାଟ୍ରିକ୍ ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଯାହାଦ୍ବାରା ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ।
ସେହିପରି ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ ।
ଏନଆରଇଜିଏସ ଯୋଜନାରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ । ଏପ୍ରିଲ ୨୧ରୁ ଜୁନ୍ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ ।
Powered by Froala Editor