୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ
ସ୍କୁଲ ପିଲାଙ୍କ ପାଇଁ ଅପ୍ରେଲ୍ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା ହୋଇଛି। ଗ୍ରୀଷ୍ମ ପ୍ରବାହ ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ବନ୍ଦ ନେଇ ନିର୍ଦ୍ଦେଶ ଜାରି ହୋଇଛି।
ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଯେଉଁ ଛାତ୍ରଛାତ୍ରୀମାନେ ଚାହିଁବେ ହଷ୍ଟେଲରେ ରହିପାରିବେ । ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷକମାନେ ଉପଲବ୍ଧ ରହିବେ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍କୁଲ, କଲେଜ ବନ୍ଦ ରହିବ । ଏ ନେଇ ପରୀକ୍ଷା ପ୍ରଭାବିତ ହେବ ନାହିଁ କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।
ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
Powered by Froala Editor