୨୩ ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ବର : ରାଜ୍ୟରେ ଆଗାମୀ ୨୩ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ବିହାର, ଓଡ଼ିଶା ଏବଂ ଝାଡ଼ଖଣ୍ଡରେ ଏକ ନିମ୍ନଚାପ ରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବା ନେଇ ଉକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୨୪ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
Powered by Froala Editor