ସତର୍କତା ଜାରି: ଏହି ଜିଲ୍ଲାକୁ ଅତି ପ୍ରବଳ ବର୍ଷା
ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୧୨ଘଣ୍ଟାରେ ଏହା ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଠାରେ ରେଡ଼ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୩୦ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଏଥିନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାଛଡ଼ା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲାକୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କମଳା ସତର୍କତା ଜାରି ହୋଇଛି। ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ପ୍ରବଳ ବର୍ଷା ଏବଂ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ବାଲେଶ୍ବର, ମୟୂରଭଞ୍ଜ, ବରଗଡ଼, ଭଦ୍ରକ, ଦେବଗଡ଼, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ସମ୍ବଲପୁର, ସୁବର୍ଣ୍ଣପୁର ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ଛୋଟ ଧରଣର ବନ୍ୟା ଆସିବା ସମ୍ଭାବନା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
Powered by Froala Editor