ଦିଲ୍ଲୀ ଏମ୍ସରେ ଆଖିବୁଜିଲେ ବଳଙ୍ଗା ପୀଡ଼ିତା

ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୀଡ଼ିତା ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଏମ୍ସ ଦିଲ୍ଲୀରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଡାକ୍ତରମାନେ ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି।
ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ X ଯୋଗେ ସୂଚନା ଦେବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । X ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।’
ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରୀ ଦଳ ପୁରା ଉଦ୍ୟମ କରିଥିଲେ। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଏବଂ ବିରୋଧୀ ଦଳ ଏମ୍ସ ଦିଲ୍ଲୀ ଏୟାରଲିଫ୍ଟ ଦାବି କରିଥିଲେ। ସରକାର ମଧ୍ୟ ଏହାକୁ ସମ୍ବେଦନଶୀଳ ମାମଲା ମନେ କରି ଏମ୍ସ ଦିଲ୍ଲୀ ସ୍ଥାନାନ୍ତରିତ କରାଯାଇଥିଲା।
ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା।
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସେ ଲେଖିଛନ୍ତି, ‘ଏକ ଅଭାବନୀୟ ତଥା ଦୁର୍ଭାଗ୍ୟଜନକ ଅଘଟଣ ପରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କର ପରଲୋକ ଘଟିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଏ ଦୁଖଃଦ ପରିସ୍ଥିତିରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।
Powered by Froala Editor