ବଳଙ୍ଗା ଘଟଣାରେ କୌଣସି ବ୍ୟକ୍ତିଙ୍କର ସମ୍ପୃକ୍ତି ନାହିଁ : ପୁଲିସ

ବଳଙ୍ଗା ଘଟଣାରେ ପୁଲିସ ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ସୂଚନା ପ୍ରଦାନ କରାଯାଇଛି। ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କର ସମ୍ପୃକ୍ତି ନାହିଁ ବୋଲି ପୁଲିସ ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି କୁହାଯାଇଛି।
ପୁଲିସ କହିଛି, ଏହି ଘଟଣାରେ ପୁଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ,ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।
ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଥିବା ଅଭିଯୋଗ ହୋଇଥିଲା । ସେଠାରେ ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା। ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା।
Powered by Froala Editor