୧୨ରୁ ତିନିଦିନ ଧରି ପ୍ରବଳ ବର୍ଷା
ଭୁବନେଶ୍ୱର: ଆସନ୍ତା ୧୩ତାରିଖ ବେଳକୁ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୨ତାରିଖରୁ ତିନିଦିନ ଧରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
Powered by Froala Editor