ଆସୁଛି ଦୁଇଟି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆଗପଛ ହୋଇ ଆସୁଛି ଦୁଇଟି ଲଘୁଚାପ। ଗୋଟିଏ ଲଘୁଚାପ ଅଗଷ୍ଟ ୧୮ରେ ସୃଷ୍ଟି ହେବାକୁ ଥିବାବେଳେ ଆଉ ଗୋଟିଏ ଲଘୁଚାପ ଅଗଷ୍ଟ ୨୪ ବେଳକୁ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଥମ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦ୍ବିତୀୟ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ କେତେଦୂର ପଡ଼ିବ ତାହା ପାଣିପାଗ ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନାହିଁ।
୧୮ ଓ ୧୯ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଅନ୍ୟପଟେ ଅଗଷ୍ଟ ୨୪ ବେଳକୁ ପୁଣି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ବାଂଲାଦେଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଉକ୍ତ ଦୁଇଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗୁପର ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor