ମୌସୁମୀ ସକ୍ରିୟ: ୨୪ ଯାଏଁ କାଚିବ ବର୍ଷା
ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିମ୍ନଚାପରେଖା ଓଡ଼ିଶାର ସମ୍ବଲପୁର ଓ ଚାନ୍ଦବାଲି ଦେଇ ପୂର୍ବ-ଦକ୍ଷିଣ-ପୂର୍ବ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଓଡ଼ିଶା ଉପରେ ମୌସୁମୀଜନିତ ନିମ୍ନଚାପରେଖା ରହିଥିବାରୁ ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ମୌସୁମୀ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ୨୪ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ବର ଏବଂ ବରଗଡ଼ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor