୨୬ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ଭୁବନେଶ୍ବର, କଟକ ସହିତ ଚାନ୍ଦବାଲି, ବାଲେଶ୍ବର, ଖୋର୍ଦ୍ଧା, ନୟାଗଡ଼, ସୁବର୍ଣ୍ଣପୁର, ହୀରାକୁଦ ଏବଂ ପୁରୀ ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୫ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିପାରେ। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।
୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ କଟକ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, ଖୋର୍ଦ୍ଧା, ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ସତର୍କ ରହିବାକୁ ଏସ୍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।
Powered by Froala Editor