୧୩ ଯାଏ ପ୍ରବଳ ଛେଚିବ
ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୯ ତାରିଖ ଅର୍ଥାତ ମଙ୍ଗଳବାରଠାରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ, ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ସେହିପରି ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ମଙ୍ଗଳବାର କୋରାପୁଟ ଏବଂ ମାଲାକାନଗିରି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ୧୧ରେ ମାଲକାନଗିରି ଓ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ। ଏହି ଦୁଇ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ ଓ ୧୩ ତାରିଖରେ କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।
Powered by Froala Editor