୨୫ ବେଳକୁ ଲଘୁଚାପ ସୃଷ୍ଟି ସମ୍ଭାବନା, ନେବ ଗଭୀର ଅବପାତର ରୂପ
ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ଏବଂ ତତ୍ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ମିଆଁମାର ଓ ବାଂଲାଦେଶ ଉପକୂଳରେ ଆସନ୍ତା ୨୫ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। କିନ୍ତୁ କିଛି ପାଣିପାଗ ବିଶେଷଜ୍ଞଙ୍କ ଆକଳନ ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତ ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଆଜି ବାରିପଦା, ସମ୍ବଲପୁର, ବଲାଙ୍ଗିର, କୋରାପୁଟ, ଦାରିଙ୍ଗବାଡ଼ି, ନୂଆପଡ଼ା ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ବାଲେଶ୍ବର ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor