ଲଘୁଚାପ କ୍ଷେତ୍ର ସୃଷ୍ଟି : ୨୮ ଯାଏ କାଚିବ
ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମ୍ପୃକ୍ତ ଲଘୁଚାପ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଅନ୍ୟପଟେ ଆସନ୍ତା ୨୫ତାରିଖ ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ପାଖାପାଖି ୨୬ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତ ରୂପ ନେଇପାରେ। ୨୭ତାରିଖ ବେଳକୁ ଅବପାତ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କୌଣସି ସ୍ଥାନରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯୋଡ଼ା ଲଘୁଚାପ ପ୍ରଭାବରେ ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବ। ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଅନୁଗୋଳ, ବୌଦ୍ଧ, ସୁବର୍ଣ୍ଣପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
Powered by Froala Editor