ଏହି ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା: ୨୮ ପର୍ଯ୍ୟନ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ବର: ଉପକୂଳ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଓ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆସନ୍ତା ୨୫ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେବ। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷ କରି କୋରାପୁଟ, ଗଞ୍ଜାମ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ କୋରାପୁଟ ଜିଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସୁବର୍ଣ୍ଣପୁର, ଦେବଗଡ଼, ବୌଦ୍ଧ ଏବଂ ଅନୁଗୋଳ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଢେଙ୍କାନାଳ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିବାରୁ ଓଡ଼ିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗର ଅଞ୍ଚଳକୁ ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।
Powered by Froala Editor