ଲଘୁଚାପ ସକ୍ରିୟ: ଏହି ଜିଲ୍ଲାରେ ବର୍ଷା ନେଇ ସତର୍କ ସୂଚନା ଜାରି
ଭୁବନେଶ୍ବର: ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି। ସମ୍ବଲପୁର ଏବଂ ବରଗଡ଼ ଜିଲାର କିଛି ଅଞ୍ଚଳରେ ସର୍ବାଧିକ ବର୍ଷା ହୋଇଛି। ମହାନଦୀ ଏବଂ ହୀରାକୁଦ ଜଳ ଭଣ୍ଡାର ଜଳସ୍ତର ବଢ଼ିବାରେ ଲାଗିଛି। ଉପରମୁଣ୍ଡରୁ ହୀରାକୁଦ ଜଳ ଭଣ୍ଡାରକୁ ଜଳପ୍ରବାହ ବଢ଼ିଛି। ଫଳରେ ହୀରାକୁଦର ୧୬ଟି ଫାଟକ ଖୋଲିଛି। ବର୍ତ୍ତମାନ ମହାନଦୀ ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାବେଳେ ଆସନ୍ତାକାଲି ୨୫ତାରିଖରେ ପୁଣି ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସହିତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମହାନଦୀ ତଳମୁଣ୍ଡରେ ବର୍ଷା ସମ୍ଭାବନା ଥିବାରୁ
ମହାନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି।
ଆସନ୍ତା ୨୬ତାରିଖ ବେଳକୁ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଅବପାତ ରୂପ ନେବ। ୨୭ ସୁଦ୍ଧା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର କୌଣସି ଅଞ୍ଚଳରେ ସ୍ଥଳଭାଗ ଅତିକ୍ରମ କରିବ। ଦକ୍ଷିଣ ଛତିଶଗଡ଼ ଦେଇ ଗୁଜରାଟ ଆଡ଼କୁ ମୁହଁାଇବ। ଏହାର ପ୍ରଭାବରେ ଗୁରୁବାର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୬ ଓ ୨୭ରେ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମାଲକାନଗିରି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୪୦ରୁ ୫୦କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor