ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲାପାଳଙ୍କୁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଲଘୁଚାପଜନିତ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରୁହ। ଜିଲା ଏବଂ ବ୍ଲକ୍ସ୍ତରରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ କର। ଦୁର୍ବଳ ନଦୀ ଓ କେନାଲ ବନ୍ଧଗୁଡ଼ିକ ଉପରେ ନଜର ରଖ। ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଜନିତ ବର୍ଷାରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲାର ଜିଲାପାଳଙ୍କୁ ଏହି ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଲଘୁଚାପ ପ୍ରଭାବରେ ୩ଟି ଜିଲା ଯଥା- କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ୧୪ଟି ଜିଲା ଯଥା- ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରାଯାଇଛି। ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳଙ୍କ ସହିତ ଆଭାସି ଜରିଆରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଏବଂ ଏହାର ତଥ୍ୟଗୁଡ଼ିକ ନିୟମିତ ଭାବେ ଅପେଡଟ୍ କରିବାକୁ ମୁଖ୍ୟମନ୍ତ୍ରୀ ଜିଲାପାଳଙ୍କୁ ନିର୍ଦେଶ ଦେଇଥିଲେ।
ପରିବର୍ତ୍ତିତ ପରିସ୍ଥିତି ଦେଖି ଆବଶ୍ୟକ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି। ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏପରି ପରିସ୍ଥିତିର ମୁକାବିଲା ପାଇଁ ଡ୍ରେନେଜ୍ ଇଞ୍ଜିନିୟର ଏବଂ ଅଧିକାରୀଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବା ଆବଶ୍ୟକ। ଏହି ସମୟରେ ଜଳବନ୍ଦୀ ସମ୍ମୁଖୀନ ହେବାର ସମ୍ଭାବନା ଥିବା ଅଞ୍ଚଳରୁ ପାଣି ନିଷ୍କାସନ ପାଇଁ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ଆଗୁଆ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ଏଥିସହିତ ଦାୟିତ୍ବରେ ଥିବା ଇଞ୍ଜିନିୟରିଂ କର୍ମଚାରୀ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବାକୁ ପରାମର୍ଶ ଦିଆଯାଇଛି।
Powered by Froala Editor