ପୁଲିସ ଶହୀଦ ସ୍ମୃତି ଦିବସରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଆରକ୍ଷୀ ମହାନିର୍ଦ୍ଦେଶକ
କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ ତମ ପୁଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାସହ ବୀର ଶହୀଦଙ୍କ ପରିବାରବର୍ଗ ପ୍ରତି ମଧ୍ୟ ସମବେଦନା ଜ୍ଞାପନ କରିଛନ୍ତି । ରାଜ୍ୟ ଆରକ୍ଷୀ ବାହିନୀ ତରଫରୁ ବୀର ଶହୀଦମାନଙ୍କ ପ୍ରତି ଆନୁଷ୍ଠାନିକ ଶୋକଶସ୍ତ୍ର ପ୍ରଦର୍ଶନ କରିବା ସହ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।
ଚଳିତ ବର୍ଷ ଭାରତ ବର୍ଷରେ ବିଭିନ୍ନ କେନ୍ଦ୍ରୀୟ ପୁଲିସ ବଳ ଓ ରାଜ୍ୟ ପୁଲିସର ୧୯୧ ଜଣ ଆରକ୍ଷୀ ପ୍ରାଣବଳି ଦେଇ ନିଜ ମାତୃଭୂମିକୁ ଗୌରବାନ୍ଵିତ କରିଛନ୍ତି। ଏହି ଅବସରରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା ସମୟରେ ଶହୀଦ ହୋଇଥିବା ରାୟଗଡା ଜିଲ୍ଲାର କନେଷ୍ଟବଳ ଲକ୍ଷ୍ମଣ ମାଝୀ, କଟକର ଓଏପିଏଫ୍ ଲୋକନାଥ ଶବରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଡିଜିପି ଖୁରାନିଆ ଶୋକସନ୍ତପ୍ତ ଉଭୟଙ୍କ ପରିବାର ବର୍ଗଙ୍କ ସହିତ ଭାବ ବିନିମୟ କରିବା ସହ ସମବେଦନା ଜ୍ଞାପନ କରିଥିଲେ । ଉଭୟଙ୍କ ତ୍ୟାଗ ଏବଂ ବଳିଦାନ ରାଜ୍ୟ ପୁଲିସ ପାଇଁ ଚିରସ୍ମରଣୀୟ ହୋଇ ରହିବ ବୋଲି ଡିଜିପି କହିଥିଲେ ।
ଆଜିର ଏହି କାର୍ଯ୍ୟକ୍ରମରେ କ୍ରାଇମବ୍ରାଞ୍ଚ ଡିଜିପି ବିନୟ ତୋଷ ମିଶ୍ର, ନିର୍ଦ୍ଦେଶକ ଗୁଇନ୍ଦା ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ) ଏସ. କେ. ପ୍ରିୟଦର୍ଶୀଙ୍କ ସହ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।
Powered by Froala Editor