ସର୍ଦ୍ଦାର ପଟେଲଙ୍କ ଜୀବନ ଦର୍ଶନ ଉପରେ ଆଲୋକପାତ କରି ଏହା କହିଲେ ଆରକ୍ଷୀ ମହାନିର୍ଦ୍ଦେଶକ
କଟକ: କଟକସ୍ଥିତ ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ ହୋଇଯାଇଛି। ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମ ବ୍ରାଞ୍ଚ) ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।
ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ତଥା ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ କରିବା ପାଇଁ ଉପସ୍ଥିତ ପୁଲିସ ଅଧିକାରୀ, କର୍ମଚାରୀ ଏବଂ ପ୍ୟାରେଡରେ ସାମିଲ ହୋଇଥିବା ଯବାନଙ୍କୁ ଆରକ୍ଷୀ ମହାନିର୍ଦ୍ଦେଶକ, ଶ୍ରୀ ମିଶ୍ର ଶପଥ ପାଠ କରାଇଥିଲେ । ଏହା ସହ ସର୍ଦ୍ଦାର ପଟେଲଙ୍କ ଜୀବନ ଦର୍ଶନ ଉପରେ ଆଲୋକପାତ କରିବା ସହ ତାଙ୍କ କାର୍ଯ୍ୟଦକ୍ଷତା, ଦେଶପ୍ରେମ ଓ ସ୍ଵାଧୀନତା ସଂଗ୍ରାମରେ ଅତୁଳନୀୟ ଅବଦାନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ ।
ଆଜିର ସମ୍ମିଳିତ ପ୍ୟାରେଡରେ ଓ.ଏସ.ଏ.ପି ଷଷ୍ଠ ବାଟାଲିୟନ (କଟକ), ଷଷ୍ଠ ଆଇ.ଆର ବାଟାଲିୟନ (ଖୋର୍ଦ୍ଧା), ତୃତୀୟ ଆଇ. ଆର. ବାଟାଲିୟନ, ପୋଲିସ କଲର ପାର୍ଟି (କଟକ), ବ୍ରାସବ୍ୟାଣ୍ଡ ପାର୍ଟି (କଟକ) ଅଂଶଗ୍ରହଣ କରିଥିଲେ । ୟାକୁବ ଖାନ ତୃତୀୟ ଆଇ. ଆର. ବାଟାଲିୟନ (Commandant) ପ୍ୟାରେଡର ନେତୃତ୍ଵ ନେଇଥିଲେ ।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଧୁନିକୀକରଣ) ଏସ. କେ. ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମୁନିକେସନ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାରଙ୍କ ସମେତ ପୋଲିସ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।
Powered by Froala Editor