ପୁରୀକୁ ଟ୍ୟାପ୍ ଯୋଗେ ମିଳିଲା ବିଶୁଦ୍ଧ ପାନୀୟ ଜଳ, ଆଉ ପାଣି ବୋତଲ ଧରି ବୁଲିବେନି ପର୍ୟ୍ୟଟକ

ପୁରୀ: ଲଣ୍ଡନ, ଲସ୍ ଏଞ୍ଜେଲସ୍ ଓ ସିଙ୍ଗାପୁର ଭଳି ସହରାଞ୍ଚଳରେ ସାମିଲ ହେଲା ପୁରୀ। ପୁରୀକୁ ଟ୍ୟାପ୍ ଯୋଗେ ମିଳିଲା ବିଶୁଦ୍ଧ ପାନୀୟ ଜଳ। ଏହି ଯୋଜନା ପରେ ଏବେ ପୁରୀରେ ପର୍ୟ୍ୟଟକ ଆଉ ପାଣି ବୋତଲ ଧରି ବୁଲିବେ ନାହିଁ। ସହରର ପ୍ରତି ସ୍ଥାନରେ ପାଣି ଟ୍ୟାପର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍ ଯୋଗେ ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହର ହେଲା ପୁରୀ। ଆଜି ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେବଳ ପୁରୀ ନୁହେଁ, ଓଡ଼ିଶା ବିକାଶରେ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଏବେ ପୁରୀ ସହରର ସମସ୍ତଙ୍କୁ ମିଳିବ ସ୍ୱଚ୍ଛ ପିଇବା ପାଣି। ପୁରୀବାସୀଙ୍କୁ ଘରେ ଏବେ ଫିଲଟର ରଖିବା ଦରକାର ନାହିଁ, ଟ୍ୟାପରୁ ମିଳିବ ସ୍ୱଚ୍ଛ ପାଣି। ସାରା ଦେଶରେ ଏହି ଯୋଜନା ପ୍ରଥମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
କାର୍ୟ୍ୟକ୍ରମରେ ପ୍ରାରମ୍ଭିକ ସୂଚନା ଦେଇଥିଲେ ୫-T ସଚିବ ଭିକେ ପାଣ୍ଡିଆନ। ବିସ୍ତୃତ ବିବରଣୀ ରଖିଥିଲେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା। ପୁରୀକୁ ବିଶ୍ୱସ୍ତରୀୟ ସହର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଖିଥିବା ସ୍ୱପ୍ନକୁ ସାକାର କରିବା ଦିଗରେ ଡ୍ରିଙ୍କ ଫ୍ରମ ଟ୍ୟାପ୍ ମିଶନ ଏକ ଯୁଗାନ୍ତକାରୀ ପ୍ରକଳ୍ପ।
ଏହି ଯୁଗାନ୍ତକାରୀ ପଦକ୍ଷେପ ଫଳରେ ପୁରୀ ସହରର ଅଢେଇ ଲକ୍ଷ ବାସିନ୍ଦା ୨୪ ଘଣ୍ଟା ଟ୍ୟାପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ପାଇବେ। ଏହି ଯୋଜନାରେ ଭାରତର ଆଧ୍ୟାତ୍ମିକ ରାଜଧାନୀକୁ ଆସୁଥିବା ବାର୍ଷିକ ୨ କୋଟି ପର୍ୟ୍ୟଟକ ମଧ୍ୟ ଉପକୃତ ହେବେ। ଏହି ପରିପ୍ରେକ୍ଷୀରେ ପ୍ରତ୍ୟେକ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ପୁରୀ ସହର ଆମେରିକା ଲଣ୍ଡନ, ସିଙ୍ଗାପୁର ସହର ସହ ସମକକ୍ଷ ହୋଇପାରିଛି। ଏପରି ସଫଳତା ହାସଲ କ୍ଷେତ୍ରରେ ପୁରୀ ସାରା ଦେଶରେ ହେଉଛି ପ୍ରଥମ ସହର। ଏହି ଯୋଜନା ପରେ ପୁରୀ ସହରରେ ବାର୍ଷିକ ୪୦୦ ମେଟ୍ରିକ ଟନ୍ର ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ହ୍ରାସ ହୋଇପାରିବ। ରାଜ୍ୟ ସରକାରଙ୍କ ୫-T ଯୋଜନା ଅଧୀନରେ ୧୬ଟି ସହରର ୪୦ ଲକ୍ଷ ବାସିନ୍ଦାଙ୍କ ପାଇଁ ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନାର କାର୍ୟ୍ୟାରମ୍ଭ ହେଉଛି।
Powered by Froala Editor