ବୌଦ୍ଧ ଓ ଟିଟିଲାଗଡ଼ରେ ତାତି ବଢ଼ିଲା, ଏସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ତଥାପି ଦୁଇଟି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଟପିଯାଇଛି । ବୌଦ୍ଧ ଜିଲ୍ଲାର ବୌଦ୍ଧଠାରେ ଓ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ଠାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ରେକର୍ଡ ହୋଇଛି। ଗୁଳଗୁଳି ସାଙ୍ଗକୁ ଗରମରେ ଛଟପଟ ହେଉଛନ୍ତି ଲୋକେ । ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଫଳରେ ତାପମାତ୍ରା ବିଶେଷ ବଢ଼ିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ଭୁବନେଶ୍ବରର ସର୍ବୋଚ୍ଚ ତାପମାତ୍ରା ୩୮.୯ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତାକାଲି ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ତାପମାତ୍ରା ୩୯ ଡିଗ୍ରି ପାଖାପାଖି ରହିବ। ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ ଆଡ଼କୁ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ର କହିଛି ଯେ, ଆସନ୍ତାକାଲି ଅପରାହ୍ନ ଆଡ଼କୁ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଆଦି ଜିଲ୍ଲାରେ ଏବଂ ୧୪ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ୧୬ ତାରିଖ ପରଠାରୁ ରାଜ୍ୟର ତାପମାତ୍ରା ଧୀରେଧୀରେ ବଢ଼ି ୪୨ ଡିଗ୍ରି ଅତିକ୍ରମ କରିବ ବୋଲି ସୂଚନା ମିଳିଛି।