୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର : ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ବାଂଲାଦେଶରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଭାବରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏପରିକି, ପଶ୍ଚିମାଞ୍ଚଳରେ ଭଲ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ଉପକୂଳବର୍ତ୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତ୍ତୀ
ପଶ୍ଚିମବଙ୍ଗ ଓ ଉତ୍ତର ଉପକୂଳ ଓଡ଼ିଶା ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୋଆ (ଶିକ୍ଷା ଓ ଅନୁସନ୍ଧାନ) ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ କୁହାଯାଇଛି। ସିଇସି କହିଛି ଯେ ୨୫ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହା ପ୍ରଭାବରେ ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଏବଂ ମହାନଦୀର ଅବବାହିକା ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କଟକ, ଅନୁଗୋଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ପବନ ବହିପାରେ। ସ୍ଥଳବିଶେଷରେ ଝଟକା ପବନ ୬୦ କି.ମି ବେଗରେ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବ, ତେଣୁ ମତ୍ସ୍ୟଜୀବୀମାନେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
Powered by Froala Editor