ଅପରାହ୍ଣ ୫ଟାରୁ ରଥାରୂଢ଼ ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରିବେ ଭକ୍ତ
ପୁରୀ: ଆଷାଢ ଶୁକ୍ଳ ଏକାଦଶୀରେ ରଥାରୂଢ ଶ୍ରୀବିଗ୍ରହଙ୍କ ସୁନାବେଶ । ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ । ଅପରାହ୍ଣ ୫ଟାରୁ ଭକ୍ତମାନେ ରଥାରୂଢ଼ ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରିବେ । ୫ଟାରେ ଶ୍ରୀବିଗ୍ରହଙ୍କ ସୁନାବେଶ ଆରମ୍ଭ ହୋଇ ସାଢ଼େ ୬ଟା ସୁଦ୍ଧା ସରିବ । ଦାରୁବ୍ରହ୍ମଙ୍କ ଏହି ଦୁର୍ଲଭ ବେଶ ଦର୍ଶନ ପାଇଁ ସୁବ୍ୟବସ୍ଥା କରାଯାଇଛି । ଦଇତାପତି ସେବକମାନେ ଯତ୍ନବାନ ହେବାକୁ ଏବଂ ଶ୍ରୀଜିଉଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇ ଦର୍ଶନ ଅବରୋଧ ନ କରିବା ନେଇ ଧ୍ୟାନ ଦେବାକୁ କୁହାଯାଇଛି । ବେଶରେ ଥାଇ ଠାକୁରଙ୍କ ସନ୍ଧ୍ୟା ଧୂପ ହେବ । ରାତି ୯ଟା ୧୫ରେ ମହାଦୀପ ବନ୍ଦାପନା, ରାତ୍ର ୧୦ଟାରୁ ୧୧ଟା ମଧ୍ୟରେ ସୁନା ବେଶ ମଇଲମ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।
ଶ୍ରୀବିଗ୍ରହ ଶ୍ରୀଭୂଜ, ଶ୍ରୀପୟର, ରତ୍ନ ପଦକ, ରତ୍ନ କିରୀଟ, କାନଫୁଲ, ମର୍କତ ମୁକୁଟ, ପଦ ବଲ୍ଲବ, ମୁଦି, କଣ୍ଠିମାଳା, ମର୍କତ ଜାଉଁଳି, ବଳା, ବାହୁଟି, କାନ୍ତି ଜରକବର କଟି ମେଖଳା ଆଦି ୧୩୮ ପ୍ରକାର ରତ୍ନଖଚିତ ସ୍ୱର୍ଣ୍ଣ ଅଳଙ୍କାର ଲାଗି ହେବେ । ବେଶରେ ଥାଇ ଶ୍ରୀବିଗ୍ରହଙ୍କ ସନ୍ଧ୍ୟା ଆଳତି ଓ ସନ୍ଧ୍ୟା ଧୂପ ବଢିବ ।
ଶ୍ରୀବଳଭଦ୍ରଙ୍କୁ ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣି, କୁଣ୍ଡଳ, ଚନ୍ଦ୍ର ସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, କଦମ୍ବମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ହଳ ଓ ମୂଷଳ(ଆୟୁଧ), ବାହାଡ଼ା ମାଳି, ବାଘନଖି ମାଳି, ସେବତି ମାଳି, ତ୍ରିଖଣ୍ଟିକା କମରପଟି ଲାଗି କରାଯିବ । ଦେବୀ ସୁଭଦ୍ରା କିରୀଟ, ଓଡ଼ିଆଣି, କାନ, ଚନ୍ଦ୍ର ସୂର୍ଯ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ତଗଡ଼ି ୨ଟି(ଆୟୁଧ), ସେବତି ମାଳି ଆଦି ଅଳଙ୍କାର ଲାଗି ହେବେ । ସେହିଭଳି ଶ୍ରୀଜଗନ୍ନାଥ କିରୀଟ, ଶ୍ରୀଭୁଜ, ଶ୍ରୀପୟର, ଓଡ଼ିଆଣି, ଚନ୍ଦ୍ରସୂର୍ଯ୍ୟ, କାନ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ସ୍ୱର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ(ଆୟୁଧ), ହରିଡ଼ା କଦମ୍ବମାଳି, ବାହାଡ଼ା ମାଳି, ତାବିଜ ମାଳି, ସେବତି ମାଳି, ତ୍ରିଖଣ୍ଡିକା ଓ କମରପଟି ଆଦି ରତ୍ନଅଳଙ୍କାର ଲାଗି ହୁଅନ୍ତି । ଏଥିସହ ଶ୍ରୀମନ୍ଦିର ରତ୍ନସିଂହାସନରେ କାର୍ତ୍ତିକ ପୂର୍ଣ୍ଣିମା, କୁମାର ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା(ବିଜୟ ଦଶମୀ)ରେ ମଧ୍ୟ ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହୁଏ ।
Powered by Froala Editor