୧୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନଯିବାକୁ ପରାମର୍ଶ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବ। ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବା ସମ୍ଭାବନା ଥିବାରୁ ବିଶେଷକରି ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଅତ୍ୟଧିକ ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି।
ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
Powered by Froala Editor