ବାତ୍ୟା ନେଇ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ବ୍ରହ୍ମପୁର : ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଉତ୍ତର ଆଣ୍ଡାମାନ ସାଗର ଏବଂ ଏହା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ରୂପ ନେଇଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତିକରି ୨୧ ତାରିଖ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପରବର୍ତ୍ତୀ ସମୟରେ ତଥା ୨୨ ତାରିଖରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରଣତ ହେବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିପାରେ । ଭୁବନେଶ୍ୱର ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଥିବା ବେଳେ ଏହାର ପ୍ରଭାବରେ ୨୨ ତାରିଖରୁ ବର୍ଷା ହେବ। ୨୩ ତାରିଖ ପାଇଁ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିଭଳି ୨୪ ତାରିଖରେ ମଧ୍ୟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ପରିମାଣ ସାମାନ୍ୟ କମ ରହିଲେ ମଧ୍ୟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ପାଣିପାଗ ବିଭାଗର ଏଭଳି ପୂର୍ବାନୁମାନ ଏବଂ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଏନେଇ ରବିବାର ଏକ ପ୍ରସ୍ତୁତି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ସଜାଗ ରହିବା ସହ ଆବଶ୍ୟକ ସମସ୍ତ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମ୍ଭାବ୍ୟ ପ୍ରବଳ ବର୍ଷା, ପବନ, ଜଳବନ୍ଦୀ ଓ ଭୂସ୍ଖଳନ ଭଳି ପରିସ୍ଥିତିର ମୁକାବିଲା ପାଇଁ ଉଦ୍ଧାରକାରୀ ଯନ୍ତ୍ରପାତି, ଔଷଧ, ଆବଶ୍ୟକ ସାମଗ୍ରୀ ଓ ମାନବସମ୍ବଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ୨୧ ତାରିଖ ସୁଦ୍ଧା କୂଳକୁ ଫେରିଆସିବା ଏବଂ ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ସେପ୍ଟେମ୍ବର ୨୧ରୁ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସଦର ମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ବିଭିନ୍ନ ବିଭାଗ ମଧ୍ୟରେ ନିରନ୍ତର ସମନ୍ୱୟ ରଖି ପରିସ୍ଥିତି ଉପରେ ନଜର ରଖିବା ସହ ଯେକୌଣସି ଆପତ୍କାଳୀନ ପରିସ୍ଥିତିରେ ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି । ଏଥିସହ ବଜ୍ରପାତ ଓ ପ୍ରବଳ ବର୍ଷା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ।
Powered by Froala Editor