ପ୍ରବଳ ବର୍ଷା: ଏହି ଜିଲ୍ଲାକୁ ରେଡ୍ୱାର୍ଣ୍ଣିଂ ଜାରି
ଭୁବନେଶ୍ବର : ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୨ରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। କୋରାପୁଟରେ ୮୨.୨ ମି.ମି ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବରରେ ୪୯.୭ ମି.ମି. ଛତ୍ରପୁରରେ ୪୩.୮ମିମି, ପାରଳାଖେମୁଣ୍ଡିରେ ୫୮ମିମି, କେନ୍ଦ୍ରାପଡ଼ାରେ ୪୨ ମି.ମି. ବର୍ଷା ହୋଇଛି। ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।
୨୩ ଏବଂ ୨୪ରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ୨୫ରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୨୬ରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୩ ତାରିଖ ପାଇଁ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲା ପାଇଁ ରେଡ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲାଗୁଡ଼ିକରେ ଘଣ୍ଟା ପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲାଗୁଡ଼ିକରେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି ବେଗରେ ପବନ ବହିପାରେ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋୱାର୍ଣ୍ଣିଂ ଦିଆଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ପଶ୍ଚିମ-କେନ୍ଦ୍ରୀୟ, ସଂଲଗ୍ନ ଉତ୍ତର-ପଶ୍ଚିମ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଆନ୍ଧ୍ରପ୍ରଦେଶ-ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।
Powered by Froala Editor