ଭୀଷଣ ବର୍ଷା ଆଶଙ୍କା: ୬ଟି ଜିଲ୍ଲାକୁ ରେଡ୍ ଆଲର୍ଟ
ଭୁବନେଶ୍ୱର: ବାତ୍ୟା ‘ଅକଭାନ୍’ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବାକୁ ଯାଉଛି। ଉପକୂଳ ନିକଟତର ହେଉଥିବା ବାତ୍ୟା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି ଓ ଆସନ୍ତାକାଲି ପାଇଁ ଅନେକ ଜିଲ୍ଲାକୁ ରେଡ୍, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି ଭୀଷଣ ବର୍ଷା ଆଶଙ୍କାରେ ୬ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ସେହିପରି ଅତି ପ୍ରବଳ ବର୍ଷା ଆଶଙ୍କାରେ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।
ଏହାବ୍ୟତୀତ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେପଟେ ନଭେମ୍ବର ୨୦ ତାରିଖ ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କାରେ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ୧୩ଟି ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଏବଂ ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
Powered by Froala Editor