ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟର ସାଢ଼େ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍ଥ କାର୍ଡ

ଭୁବନେଶ୍ୱର: ’ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ଏଥିରେ ସାଢ଼େ ତିନି କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ। ପର୍ୟ୍ୟାୟକ୍ରମେ ସାରା ରାଜ୍ୟରେ ଏହି କାର୍ଡ ପ୍ରଦାନ କରାଯିବ।’ ଆଜି ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ୭୫ତମ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ଏହି ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସାରା ଓଡ଼ିଶା ମୋ ପରିବାର। ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠପଢ଼ା ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ। ଏଥିପାଇଁ ସାଢ଼େ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍ଥ କାର୍ଡ ଯୋଗାଇ ଦିଆଯିବ। ଏଭଳି ସ୍ମାର୍ଟ ହେଲ୍ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହେବ।
ସେ କହିଛନ୍ତି, ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ- ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍ଥ କାର୍ଡ ମିଳିବ। ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ। ଓଡ଼ିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲ ଚେନ୍ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ।
ସୂଚନାଯୋଗ୍ୟ, ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ।
Powered by Froala Editor