କାଳବୈଶାଖୀ ସହ ବଜ୍ରପାତ ଆଶଙ୍କା : ୧୯ ଜିଲ୍ଲାରେ ୱେଲୋ ୱାର୍ଣ୍ଣିଂ ଜାରି

୨୪ ଘଣ୍ଟା ଭିତରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏଥିପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର ଓ ଭଦ୍ରକ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ଭିତରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ କାଳବୈଶାଖୀର ଆଶଙ୍କା ରହିଛି। ସେହିପରି ରବିବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର କାଳବୈଶାଖୀ ହୋଇପାରେ।
ସୋମବାର କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା କିମ୍ୱା କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା କରାଯାଉଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଭ୍ୟନ୍ତରୀଣ ଓଡ଼ିଶା-ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ସମାନ୍ତରଳ ଭାବେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଏପ୍ରିଲ ୨୦ ଯାଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସହିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି।