ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଜି ଓ ୭ ତାରିଖ ଦିନ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ । ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ । ସେହିଭଳି ପ୍ରବଳ ବର୍ଷା ପାଇଁ ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ତାରିଖ ଦିନ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷକରି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ଏହାଛଡ଼ା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ତଥା ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ରହିବାର ସମ୍ଭାବନା ରହିଛି । ତେଣୁ ୬ ଓ ୭ ତାରିଖ ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
Powered by Froala Editor